ଓଡିଶା

୧୩ ଜିଲ୍ଲାର ୫୯ଟି ପ୍ରକଳ୍ପ ଲୋକାର୍ପିତ ‌କଲେ ମୁଖ୍ୟମନ୍ତ୍ରୀ: ୮୦ ହଜାର ହେକ୍ଟର ଜମିକୁ ମିଳିଲା ପାଣି – bajravana

[ad_1]

୩୩ଟି ମେଗା ଲିଫ୍ଟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ

ଭୁବନେଶ୍ବର: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ କାର୍ଯ୍ୟକ୍ରମରେ ରାଜ୍ୟର ୧୩ଟି ଜିଲ୍ଲାରେ ୫୯ଟି ମେଗା ଲିଫ୍ଟ ପ୍ରକଳ୍ପ ଉଦ୍‌ଘାଟନ କରିଛନ୍ତି। ଏହାଦ୍ୱାରା ୮୦ ହଜାର ହେକ୍ଟର ଢିପ ଜମିକୁ ଜଳସେଚନର ସୁବିଧା ମିଳିଛି ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି। ଏଥିପାଇଁ ୨,୫୦୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଏହାସହିତ ମୁଖ୍ୟମନ୍ତ୍ରୀ ୩୩ଟି ମେଗା ଲିଫ୍ଟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ ମଧ୍ୟ କରିଛନ୍ତି। ଏହି ପ୍ରକଳ୍ପ ସମ୍ପୂର୍ଣ୍ଣ ହେବା ପରେ ୯ଟି ଜିଲ୍ଲାର ୫୦ ହଜାର ହେକ୍ଟର ଜମିକୁ ଜଳସେଚନର ସୁବିଧା ମିଳିବ। ଆଜି ଭିଡିଓ କନ୍‌ଫରେନ୍‌ସିଂ ଜରିଆରେ ମେଗାଲିଫ୍ଟ୍‌ ପ୍ରକଳ୍ପଗୁଡ଼ିକର ଉଦ୍‌ଘାଟନ ଓ ଶିଳାନ୍ୟାସ କରିବା ପରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଚାଷୀ ଭାଇ ହେଉଛନ୍ତି ଦେଶର ଶ୍ରେଷ୍ଠ ସେବକ। ସେମାନେ ଆମ ଅର୍ଥନୀତିର ମେରୁଦଣ୍ଡ। ସେମାନଙ୍କ ତ୍ୟାଗ ଓ ପରିଶ୍ରମ ରାଜ୍ୟ ପାଇଁ ଅନେକ ଗୌରବ ଆଣିଛି।

କୃଷକମାନଙ୍କ ପାଇଁ ରାଜ୍ୟ ସରକାର କାର୍ଯ୍ୟକାରୀ କରୁଥିବା ବିଭିନ୍ନ ଯୋଜନା ସମ୍ପର୍କରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ, ରାଜ୍ୟ ସରକାରଙ୍କ କୃଷି ବଜେଟ୍‌ ୫ ବର୍ଷରେ ୩ ଗୁଣ ବଢ଼ି ଏବେ ୨୫ ହଜାର କୋଟି ଟଙ୍କାରେ ପହଞ୍ଚିଛି। କାଳିଆ ଯୋଜନା ଚାଷୀଙ୍କ ପାଇଁ ବହୁତ ଉପକାରୀ ସାବ୍ୟସ୍ତ ହୋଇଛି। ରାଜ୍ୟ ସରକାର ଚାଷୀଭାଇଙ୍କ ଫସଲବୀମାର ପ୍ରିମୟମ୍‌ ପାଇଁ ୬୦୦ କୋଟି ଟଙ୍କା ଖର୍ଚ୍ଚ କରିଛନ୍ତି। ସେହିପରି ବିନା ସୁଧରେ ୧ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ଋଣ ଦିଆଯାଉଛି। ରାଜ୍ୟରେ ଜଳସେଚନର ବିକାଶ ଉପରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ, ୫-ଟି ଉପକ୍ରମରେ ଜଳସେଚନର ବିକାଶ କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରାଯାଇଛି। ଅପର ଇନ୍ଦ୍ରାବତୀ, ଲୋୟର ଇନ୍ଦ୍ର, ଦେଓ ଏବଂ ସୁବର୍ଣ୍ଣରେଖା ପରି ବଡ଼ବଡ଼ ପ୍ରକଳ୍ପରୁ ଚାଷୀମାନେ ଜଳସେଚନ ସୁବିଧା ପାଉଛନ୍ତି। ଏହାବାଦ ଗଙ୍ଗାଧର ମେହର ପ୍ରକଳ୍ପ ଓ ଲୋୟର ସୁକତେଲ ପରି ଅନ୍ୟ ବଡ଼ ପ୍ରକଳ୍ପ ମଧ୍ୟ ଖୁବ୍ ଶୀଘ୍ର କାର୍ଯ୍ୟକ୍ଷମ ହେବାକୁ ଯାଉଛି। ନଦୀଗୁଡ଼ିକରେ ସବୁ ଦିନ ପାଣି ମିଳିବାର ବ୍ୟବସ୍ଥା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ୨୦ଟି ନଦୀଗର୍ଭ ଜଳାଶୟ ପ୍ରକଳ୍ପ କରାଯାଉଛି। ଏହିସବୁ ପ୍ରକଳ୍ପ ଦ୍ୱାରା ରାଜ୍ୟର କୃଷି କ୍ଷେତ୍ର ସମୃଦ୍ଧ ହେବ ଏବଂ ଚାଷୀଭାଇଙ୍କର ରୋଜଗାର ବୃଦ୍ଧି ହେବ।

୮୦ ହଜାର ହେକ୍ଟର ଜମିକୁ ମିଳିଲା ପାଣି
୩୩ଟି ମେଗା ଲିଫ୍ଟ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ
ଚାଷୀ ଭାଇ ହେଉଛନ୍ତି ଦେଶର ଶ୍ରେଷ୍ଠ ସେବକ: ମୁଖ୍ୟମନ୍ତ୍ରୀ
ଖୁବ୍‌ ଶୀଘ୍ର କାର୍ଯ୍ୟକ୍ଷମ ହେବ ଲୋୟର ସୁକତେଲ ଓ ଗଙ୍ଗାଧର ମେହେର ଉଠା ଜଳସେଚନ ପ୍ରକଳ୍ପ

କାର୍ଯ୍ୟକ୍ରମରେ ଜଳସମ୍ପଦ ମନ୍ତ୍ରୀ ଟୁକୁନି ସାହୁ ଯୋଗଦେଇଥିଲେ। କାର୍ଯ୍ୟକ୍ରମରେ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ବାଙ୍କୀ ବିଧାୟକ ଦେବୀ ରଞ୍ଜନ ତ୍ରିପାଠୀ ଏବଂ ଘସିପୁରା ବିଧାୟକ ବଦ୍ରି ନାରାୟଣ ପାତ୍ର ଯୋଗଦେଇଥିଲେ। ସେହିଭଳି ସୁବର୍ଣ୍ଣପୁର ଜିଲ୍ଲା ଉଲୁଣ୍ଡାର ଚାଷୀ ଲକ୍ଷ୍ମଣ ବାରିକ ଏବଂ ଢେଙ୍କାନାଳର ବବିତା ପାତ୍ର ମୁଖ୍ୟମନ୍ତ୍ରୀଙ୍କ ସହିତ ଭିଡିଓ କନ୍‌ଫରେନ୍‌ସିଂରେ ଆଲୋଚନା କରି ମେଗା ଲିଫ୍ଟ ପ୍ରକଳ୍ପ ପାଇଁ ଧନ୍ୟବାଦ ଜଣାଇଥିଲେ। ଏହି କାର୍ଯ୍ୟକ୍ରମରେ ଉନ୍ନୟନ କମିସନର ତଥା ଜଳସମ୍ପଦ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ଅନୁ ଗର୍ଗ ସ୍ବାଗତ ଭାଷଣ ଦେଇଥିଲେ। କୃଷି ଓ କୃଷକ ସଶକ୍ତୀକରଣ ବିଭାଗର ପ୍ରମୁଖ ସଚିବ ଅରବିନ୍ଦ ପାଢ଼ୀ, ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀଗଣ, ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳ ଓ ଚାଷୀ ଭାଇଭଉଣୀମାନେ ଉପସ୍ଥିତ ଥିଲେ। ଜଳସମ୍ପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଧନ୍ୟବାଦ ଦେଇଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ମେଗା ଲିଫ୍ଟର ସୁପରିଚାଳନା ପାଇଁ ଓକାକ୍ ଦ୍ୱାରା ପ୍ରସ୍ତୁତ ଇ-ମେଗାଲିଫ୍ଟ ଆପ୍‌ର ଲୋକାର୍ପଣ କରିଥିଲେ। ସୂଚନାଯୋଗ୍ୟ, ୨୦୧୧ ମସିହାରେ ପାର୍ବତୀ ଗିରି ବୃହତ ଉଠା ଜଳସେଚନ ପ୍ରକଳ୍ପ ଆରମ୍ଭ ହୋଇଥିଲା। ଏଥିରେ ୨୦୮ଟି ପ୍ରକଳ୍ପ ସଫଳତାର ସହ ଶେଷ ହୋଇଛି ଓ ୨,୬୪,୩୩୦ ହେକ୍ଟର ଚାଷ ଜମିକୁ ଜଳସେଚନର ସୁବିଧା ମିଳିଛି। ସେହିପରି ଦ୍ୱିତୀୟ ପର୍ଯ୍ୟାୟରେ ୧୭୦ଟି ପ୍ରକଳ୍ପ ହାତକୁ ନିଆଯାଇଛି। ଏହାଦ୍ୱାରା ୧,୧୩,୫୪୦ ହେକ୍ଟର ଜମି ଜଳସେଚିତ ହୋଇପାରିବ।



[ad_2]

Related Articles

Leave a Reply

Your email address will not be published. Required fields are marked *

Back to top button