ବଙ୍ଗୋପସାଗରରେ ଲଘୁଚାପ, ଆଜିଠୁ ୨୨ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା
୨୨ ଯାଏ ରାଜ୍ୟରେ ବର୍ଷା ସମ୍ଭାବନା । ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ସମ୍ଭାବନା ରହିଛି । ଆଜି କୋରାପୁଟ, ମାଲକାନଗିରି, ରାୟଗଡ଼ା, ଗଜପତି, ଗଞ୍ଜାମ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ପୁରୀ, ଜଗତସିଂହପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା ରହିଛି ।
ଆସନ୍ତାକାଲି ଉପକୂଳ ସମେତ ଆଭ୍ୟନ୍ତରୀଣ ଓଡ଼ିଶାର ବିଭିନ୍ନ ଜିଲ୍ଲା ଏବଂ ୨୧ ତାରିଖରେ ବାଲେଶ୍ବର, ଭଦ୍ରକ, ମୟୂରଭଞ୍ଜ, କେନ୍ଦୁଝର,କେନ୍ଦ୍ରାପଡ଼ା ଓ ଜଗତସିଂହପୁର ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା ହୋଇପାରେ । ଅନ୍ୟପଟେ ସାରା ରାଜ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇଛି ।
୮ଟି ସ୍ଥାନରେ ସର୍ବନିମ୍ନ ତାପମାତ୍ରା ୧୦ ଡିଗ୍ରି କିମ୍ବା ତାଠାରୁ କମ ରହିଥିଲା । ଆସନ୍ତା ଦୁଇ ଦିନ ମଧ୍ୟରେ ସର୍ବନିମ୍ନ ତାପମାତ୍ରା ୨ରୁ ୩ ଡିଗ୍ରୀ ପର୍ଯ୍ୟନ୍ତ ବୃଦ୍ଧି ପାଇବ ବୋଲି ସୂଚନା ଦେଇଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର ।୨୨ ତାରିଖରୁ ପୁଣି ଲେଉଟିବ ଶୀତ।